“ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ”


ବାରିପଦା(କ:ବ୍ଯୁ) ତା୦୬/୦୪/୨୦୨୬ :
ମୟୂରଭଞ୍ଜ ଜ଼ିଲ୍ଲା ସଦର ମହକୁମା ବାରିପଦା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ (ଜିଲ୍ଲା ପରିଷଦ) ଶ୍ରୀ ଧର୍ମାନନ୍ଦ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର କିଶୋର କୁମାର ଆଚାର୍ଯ୍ୟ, ଉପ-ଜିଲ୍ଲାପାଳ ବାରିପଦା କସ୍ତୁରୀ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।

ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୭୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଛି । ଏଥିରେ ୨୨୯ ଗୋଟି ବ୍ୟକ୍ତିଗତ ସମସ୍ୟା ଆଧାରିତ ଥିବାବେଳେ ୪୭ ଗୋଟି ସାମୁହିକ ସମସ୍ୟା ସମ୍ବଳିତ ଅଭିଯୋଗ ହୋଇଛି । ତନ୍ମଧ୍ୟରୁ ୧୩ ଗୋଟି ଅଭିଯୋଗର ସମାଧାନ ତତକ୍ଷଣାତ୍ ଜନ ଅଭିଯୋଗ ଶିବିରରେ କରାଯାଇଛି । ଏହାସହ ୮ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଓ ୫ ଜଣଙ୍କୁ ରେଡକ୍ରସ୍ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ସେହିପରି ଆଜିର ଜନ ଅଭିଯୋଗ ଶୁଣାଣିରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।

ଉକ୍ତ ଜନ ଅଭିଯୋଗ ଶୁଣାଣି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ ।
ଦୀନବନ୍ଧୁ ବାରିକ (ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି)

Leave a Reply

Your email address will not be published. Required fields are marked *