ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ

ଅନୁଗୋଳ( କ ବ୍ୟୁ ) ୨୪/୦୪ : ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବ୍ଲାକ ଡାଇମଣ୍ଡ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ପାଳିତ ହୋଇଯାଇଛି। ଗ୍ରାମାଞ୍ଚଳର ବିକାଶ ଓ ସ୍ୱାୟତ୍ତ ଶାସନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ସମ୍ପର୍କରେ କହି ପଞ୍ଚାୟତରାଜରେ ଗ୍ରାମର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ନିସ୍ୱାର୍ଥପର ଭାବେ କାମ କଲେ ବିକଶିତ ଅନୁଗୋଳ ଓ ବିକଶିତ ଓଡ଼ିଶା ସମ୍ଭବ ବୋଲି ସେ କହିଥିଲେ। ଏହି ଅବସରରେ ଜନହିତକର ଯୋଜନାଗୁଡିକରେ ଅଗ୍ରଣୀ ପ୍ରଦର୍ଶନ କରିଥିବା ବ୍ଲକ ଓ ପଞ୍ଚାୟତଗୁଡ଼ିକୁ ମାନ୍ୟବର ଅତିଥିମାନେ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ପ୍ରଭାତ କୁମାର ପ୍ରଧାନ, ମାନ୍ୟବର ଛେଣ୍ଡିପଦା ବିଧାୟକଙ୍କ ପ୍ରତିନିଧି ଶ୍ରୀ ଚୌଧୁରୀ ପ୍ରଧାନ, ମାନ୍ୟବର ତାଳଚେର ବିଧାୟକଙ୍କ ପ୍ରତିନିଧି ଶ୍ରୀ ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଗୌରବମୟ ପ୍ରଧାନଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ, ପଞ୍ଚାୟତ ସମିତି କର୍ମକର୍ତ୍ତା, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟସ୍ତରରେ ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ସିଧାପ୍ରସାରଣରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *