
ବାରିପଦା -ଉଦଳା (କ: ବ୍ଯୁ) ତା.୨୨/୦୬/୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କପ୍ତିପଦା ଉପଖଣ୍ଡ ଉଦଳାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ଜନଶୁଣାଣୀ ଶିବିରରେ ଜିଲ୍ଲାପାଳ, ମୟୂରଭଞ୍ଜ ହେମକାନ୍ତ ସୟ ଏବଂ ଆରକ୍ଷୀ ଅଧିକ୍ଷକ ମୟୂରଭଞ୍ଜ, ବରୁଣ ଗୁଣ୍ଟୁପାଲି ଯୋଗ ଦେଇ ୭୭ ଗୋଟି ଜନ ଅଭିଯୋଗର ଶୁଣାଣୀ କରିଛନ୍ତି । ଉପଖଣ୍ଡର ଉପଜିଲ୍ଲାପାଳ ସୁଶାନ୍ତ କୁମାର ବାରିକ୍ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ହୃଷିକେଶ ନାଏକ, ଉପଖଣ୍ଡ ଚିକିତ୍ସାଳୟ ଅଧୀକ୍ଷକ ଡା. ମିନକେତନ ମହାନ୍ତି ଯୋଗ ଦେବା ସହିତ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଜିଲ୍ଲା ଓ ଉପଖଣ୍ଡ ତଥା ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଶୁଣାଣୀ କାର୍ଯ୍ୟରେ ସହଯୋଗ କରିଥିଲେ । ସମସ୍ତ ଅଭିଯୋଗ ମଧ୍ୟରେ ୬୯ ଟି ବ୍ୟକ୍ତିଗତ ସମସ୍ୟା ସମ୍ବଳିତ ଥିବା ସ୍ଥଳେ ୦୮ ଗୋଟି ସାମୂହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା । ସେଥିମଧ୍ୟରୁ ୧୩ ଗୋଟି ସମସ୍ୟାର ତତ୍କାଳ ସମାଧାନ କରାଯାଇ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଟ୭୫,୦୦୦/-ଙ୍କା (ପଚସ୍ତରୀ ହଜାର) ଟଙ୍କାର ଚେକ୍ ପ୍ରଦାନ କରାଯାଇଥିଲା । ଆଜିର ଶୁଣାଣୀରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ଉଦଳା ତହସିଲ ଅଧିନସ୍ଥ ଆମ୍ବଡ଼ିହା ଗ୍ରାମରେ ଦକ୍ଷତା ବିକାଶ କେନ୍ଦ୍ର ନିର୍ମାଣ ନିମନ୍ତେ ଜଙ୍ଗଲ ଜମି ପ୍ରଦାନ, ରାଢ଼ୋ ପଞ୍ଚାୟତ ସେଣ୍ଢଗଡ଼ିଆ ଗ୍ରାମର ଚାଲୁଥିବା ଅମୃତ ସରୋବର ପ୍ରକଳ୍ପରେ ବ୍ୟାପକ ମନରେଗା ଦୁର୍ନୀତି ଓ ଗରୀବ ଶ୍ରମିକଙ୍କୁ ଧମକ ଚମକ ଦେବା, ରାଢ଼ୋ ୟୂ.ଜି. ଏ.ମ.ଇ. ଏବଂ କେଜିଭିଭି ବିଦ୍ୟାଳୟରେ ଜଗୁଆଳି ଏବଂ ଅନ୍ୟାନ୍ୟ ପଦବୀ ପାଇଁ ଉପଯୁକ୍ତ ପ୍ରାର୍ଥୀ ଚୟନ, କୁଣ୍ଡାବାଇ ପଞ୍ଚାୟତ ଉପରତାଳଡ଼ିହା ଗ୍ରାମର ଭୂମିହୀନ ମାନଙ୍କୁ ଘରବାଡ଼ି ପ୍ରଦାନ, ଖୁଣ୍ଟା ବ୍ଲକ ବାହାନଡ଼ା ପଞ୍ଚାୟତର ଯୋଗାଣ ସହାୟିକାଙ୍କ ବହୁ ଅନିୟମିତତା କାର୍ଯ୍ୟ କଳାପ ଅଭିଯୋଗର ତଦନ୍ତରେ ବିଳମ୍ବ ଆଦି ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ମୟୂରଭଞ୍ଜ ନିର୍ଦ୍ଦେଶ ଦେଇଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଡେପୁଟି କଲେକ୍ଟର ପ୍ରତୀକ କୁମାର ପଣ୍ଡା ଓ କାର୍ଯ୍ୟାଳୟର କର୍ମଚାରୀ ମାନସ ନାୟକ, ସତ୍ୟ ପ୍ରକାଶ ପାତ୍ର, ସାଇସ୍ୱରୂପ କର, ବିଶ୍ୱଜିତ ବେହେରା, ପାର୍ବତୀ କିସ୍କୁ, ଶ୍ରୀତମ ମହାନ୍ତି, ହିମାଂଶୁ ଶଙ୍ଖୁଆ, ଅନୁଭବ ରାଉତ, ତାପସ ପ୍ରଧାନ, ତପୁ ପାତ୍ର, ଭବାନୀ ପଣ୍ଡା, ଅଜିତ ମହାପାତ୍ର, ତରୁଣକାନ୍ତି ମହାପାତ୍ର ଓ ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ ।
ଦୀନବନ୍ଧୁ ବାରିକ
(ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି)