
ବାରିପଦା/ଉଦଳା ତା.୨୮/୦୯/୨୦୨୬(କ ବ୍ଯୁ) : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କପ୍ତିପଦା ଉପଖଣ୍ଡ ଉଦଳାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ଜନଶୁଣାଣୀ ଶିବିରରେ ଜିଲ୍ଲାପାଳ, ମୟୂରଭଞ୍ଜ ହେମକାନ୍ତ ସୟ ଏବଂ ଆରକ୍ଷୀ ଅଧିକ୍ଷକ ମୟୂରଭଞ୍ଜ, ବରୁଣ ଗୁଣ୍ଟୁପାଲି ଯୋଗ ଦେଇ ୨୧୮ ଗୋଟି ଜନ ଅଭିଯୋଗର ଶୁଣାଣୀ କରିଛନ୍ତି । ଉପଖଣ୍ଡର ଉପଜିଲ୍ଲାପାଳ ପ୍ରଣୟ ରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଗୋକୁଳାନନ୍ଦ ସାହୁ, ଉପଖଣ୍ଡ ଚିକିତ୍ସାଳୟ ଅଧୀକ୍ଷକ ଡା. ମିନକେତନ ମହାନ୍ତି ଯୋଗ ଦେବା ସହିତ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଜିଲ୍ଲା ଓ ଉପଖଣ୍ଡ ତଥା ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଶୁଣାଣୀ କାର୍ଯ୍ୟରେ ସହଯୋଗ କରିଥିଲେ । ସମସ୍ତ ଅଭିଯୋଗ ମଧ୍ୟରେ ୧୭୦ ଟି ବ୍ୟକ୍ତିଗତ ସମସ୍ୟା ସମ୍ବଳିତ ଥିବା ସ୍ଥଳେ ୪୮ ଗୋଟି ସାମୂହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା । ସେଥିମଧ୍ୟରୁ ୨୯ ଗୋଟି ସମସ୍ୟାର ତତ୍କାଳ ସମାଧାନ କରାଯାଇ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୨୯ ଜଣଙ୍କୁ ଏକ ଲକ୍ଷ ସତସ୍ତରୀ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଥିଲା । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଡେପୁଟି କଲେକ୍ଟର ପ୍ରତୀକ କୁମାର ପଣ୍ଡା ଓ କାର୍ଯ୍ୟାଳୟର କର୍ମଚାରୀ ସତ୍ୟ ପ୍ରକାଶ ପାତ୍ର, ସାଇସ୍ୱରୂପ କର, ରେଣ୍ଟା ମୁର୍ମୁ, ଶ୍ରୀତମ ମହାନ୍ତି, ହିମାଂଶୁ ଶଙ୍ଖୁଆ, ଅନୁଭବ ରାଉତ, ତାପସ ପ୍ରଧାନ, ତପୁ ପାତ୍ର, ଭବାନୀ ପଣ୍ଡା, ଅଜିତ ମହାପାତ୍ର, ତରୁଣକାନ୍ତି ମହାପାତ୍ର ଓ ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ ।
ଦୀନବନ୍ଧୁ ବାରିକ
(ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି)